ଭୁବନେଶ୍ବର: ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରର ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ । ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଘନୀଭୂତ ହେବାରେ ଲାଗିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବ । ଏହା ବ୍ୟତୀତ ମୌସୁମୀ ନିମ୍ନଚାପରେଖାର ପ୍ରଭାବ ମଧ୍ୟ ରାଜ୍ୟ ଉପରେ ରହିଛି । ଏହା ପ୍ରଭାବରୁ ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର କେତୋଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଫଳରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ମାଲକାନଗିରିରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ପୂର୍ବାନୁମାନ କରିଛି । ୫ ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ୧୨ ଜିଲ୍ଲାରେ ପ୍ରବଳ ବର୍ଷିବ । ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।
ଜୁନ୍ ଏକ ତାରିଖରୁ ଆଜି ପର୍ୟ୍ୟନ୍ତ ୨୯ ପ୍ରତିଶତ କମ୍ ବର୍ଷା ରେକର୍ଡ ହୋଇଛି । ୨୫ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ଯାଜପୁରରେ ସର୍ବାଧିକ ୫୪ ପ୍ରତିଶତ ବର୍ଷା କମ୍ ରେକର୍ଡ ହୋଇଛି। ୬ଟି ଜିଲ୍ଲାରେ ଅଧିକ ନିଅଣ୍ଟିଆ ବର୍ଷା ହୋଇଥିବାରୁ ଚାଷ କାର୍ୟ୍ୟ ପ୍ରଭାବିତ ହୋଇଛି ।