(ମମତା ସାମଲ)ରିପୋର୍ଟସଟୁଡେ: ଲିଙ୍ଗରାଜ ମନ୍ଦିର ପାଇଁ ଆସିବ ସ୍ୱତନ୍ତ୍ର ଆଇନ । ଜଗନ୍ନାଥ ମନ୍ଦିର ଭଳି ଲିଙ୍ଗରାଜ ମନ୍ଦିର ପାଇଁ ଆସିବ ଆଇନ । ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ । ଆଜି ଅପରାହ୍ନରେ ଏକାମ୍ରକ୍ଷେତ୍ର ବିକାଶ ପ୍ରକଳ୍ପ ବୁଲି ଦେଖିବା ଅବସରରେ ମୁଖ୍ୟମନ୍ତ୍ରୀ ଲିଙ୍ଗରାଜ ମନ୍ଦିର ସିଂହଦ୍ବାରକୁ ଯାଇ ସେଠାରୁ ମହାପଭୁଙ୍କୁ ପ୍ରଣାମ ଜଣାଇଥିଲେ ଏବଂ ସେବାୟତ ମାନଙ୍କ ସହିତ ଆଲୋଚନା କରିଥିଲେ । ବର୍ତ୍ତମାନ ସରକାର ଅମଳରେ ବିନ୍ଦୁସାଗର ଠାରୁ ଆରମ୍ଭ କରି ପୁରୁଣା ଭୁବନେଶ୍ବର ଅଞ୍ଚଳରେ ଅନେକ ବିକାଶ କାର୍ୟ୍ୟ ହୋଇଥିବାରୁ ସେବାୟତମାନେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ଜ୍ଞାପନ କରିଥିଲେ ।
ପରେ ମୁଖ୍ୟମନ୍ତ୍ରୀ ଦେବୀ ପାଦହରା ପୁଷ୍କରଣୀ ବୁଲି ଦେଖିବା ସହ ବିନ୍ଦୁସାଗର ମଠଘାଟ ଠାରେ ପ୍ରକଳ୍ପ କାର୍ୟ୍ୟର ସମୀକ୍ଷା କରିଥିଲେ। ଏକାମ୍ରକ୍ଷେତ୍ର ପ୍ରକଳ୍ପ ପାଇଁ ଜମି ଦାନ କରିଥିବା ବ୍ୟକ୍ତି ମାନଙ୍କୁ ମୁଖ୍ୟମନ୍ତ୍ରୀ ସାଧୁବାଦ ଜଣାଇଥିଲେ । ଏବଂ ପ୍ରକଳ୍ପ କାର୍ୟ୍ୟ ଆଗକୁ ନେବା ପାଇଁ ସମସ୍ତଙ୍କର ସହଯୋଗ କାମନା କରିଥିଲେ। ପ୍ରକଳ୍ପ କାର୍ୟ୍ୟର ଅଗ୍ରଗତିରେ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିବା ସହିତ ଅଧିକ ପର୍ୟ୍ୟଟକଙ୍କୁ ସେଠାକୁ ଆକର୍ଷିତ କରିବାରେ ଏହି ଯୋଜନା ଏକ ସଫଳ ଉଦ୍ୟମ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ୫-ଟି କାର୍ୟ୍ୟକ୍ରମ ଅଧୀନରେ ଏହି ପ୍ରକଳ୍ପ କାର୍ୟ୍ୟ ଚାଲୁ ରହିଛି । ଐତିହ୍ୟ ନଗରୀ ଭୁବନେଶ୍ବରର ଗରିମାକୁ ଆହୁରି ବୃଦ୍ଧି କରିବା ସହିତ ଏହାକୁ ଏକ ପ୍ରମୁଖ ପର୍ୟ୍ୟଟନସ୍ଥଳୀ ଭାବରେ ବିକଶିତ କରିବା ଏବଂ ଭକ୍ତ ଓ ପର୍ୟ୍ୟଟକ ମାନଙ୍କ ପାଇଁ ଏକ ଅନନ୍ୟ ଆଧ୍ୟାତ୍ମିକ ଅନୁଭବ ପ୍ରଦାନ କରିବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ।
ମୁଖ୍ୟମନ୍ତ୍ରୀଙ୍କ ପରିଦର୍ଶନ ସମୟରେ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ବିଧାୟକ ଶ୍ରୀ ସୁଷାନ୍ତ ରାଉତ, ଉନ୍ନୟନ କମିଶନର ଶ୍ରୀ ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ, ପୋଲିସ କମିଶନର ଶ୍ରୀ ସୁଧାଂଶୁ ଷଡଙ୍ଗୀ, ପୂର୍ତ୍ତ ସଚିବ ଶ୍ରୀ କିଷନ କୁମାର, ବି.ଏମ୍.ସି କମିଶନର ଶ୍ରୀ ପ୍ରେମଚାନ୍ଦ ଚୌଧୁରୀ ଏବଂ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।