(ରିପୋର୍ଟସ ଟୁଡ଼େ)ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାପରେ ତାପମାତ୍ରା ବଢିବା ସହ ଖରା ବଢ଼ିବ। ୧୬ ତାରିଖ ସକାଳ ପର୍ୟ୍ୟନ୍ତ ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ଗଞ୍ଜାମ, ସୁନ୍ଦରଗଡ଼, କେଉଁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ସହ ଝଡ଼ବର୍ଷା ହୋଇପାରେ। ତେବେ ୧୮ ଓ ୧୯ତାରିଖରେ ସାରା ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବାର ଅଧିକ ସମ୍ଭାବନା ରହିଛି। ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ବିଜୁଳି ଓ ଝଡ଼ବର୍ଷା ସହ ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, କେଉଁଝର, କେନ୍ଦ୍ରାପଡ଼ା, ବରଗଡ଼, ସୋନପୁର, ବଲାଙ୍ଗୀର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଧା, କଟକ ଓ ଜଗତସିଂହପୁର ଆଦି ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।