ଭୁବନେଶ୍ୱର: ବିପର୍ୟ୍ୟୟ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମୁକାବିଲା ମନ୍ତ୍ର । ସମ୍ଭାବ୍ୟ ବିପର୍ୟ୍ୟୟର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ରାଜ୍ୟ ପ୍ରଶାସନିକ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡ଼ିଓ କନଫରେନ୍ସିଂ ଜରିଆରେ ହୋଇଥିବା ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି, ପ୍ରତ୍ୟେକ ଜୀବନ ମୂଲ୍ୟବାନ। ଆଉ ବିପର୍ୟ୍ୟୟ ପରିଚାଳନାର ଏହା ହେଉଛି ପ୍ରଥମ ନୀତି। ଏହି ନୀତିକୁ ଅନୁସରଣ କରି ଓଡିଶା ଭଳି ଗୋଟିଏ ବିପର୍ୟ୍ୟୟ ପ୍ରବଣ ରାଜ୍ୟରେ ଆମେ ବିପର୍ୟ୍ୟୟ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ କରି ଏ କ୍ଷେତ୍ରରେ ଏକ ଆଗୁଆ ରାଜ୍ୟ ହୋଇପାରିଛୁ।
ପ୍ରତ୍ୟେକ ବର୍ଷ ଜୁନରୁ ଅକ୍ଟୋବର ମାସ ସମୟ ଅତି ଗୁରୁତ୍ବପୂର୍ଣ୍ଣ। ଏହି ସମୟରେ ବନ୍ୟା, ବାତ୍ୟା, ମରୁଡି ପରି ଅନେକ ପ୍ରାକୃତିକ ବିପର୍ୟ୍ୟୟ ଆସେ। ତେଣୁ ଏହି ସମୟ ଭିତରେ ବାତ୍ୟା ଓ ବନ୍ୟା ଏକ ସମୟରେ ଆସିବାର ମଧ୍ୟ ସମ୍ଭାବନା ରହିଛି। ଏ ବାବଦରେ ଆମର ପ୍ରସ୍ତୁତିକୁ ସୁଦୃଢ କରିବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି। ଆଗୁଆ ବିପର୍ୟ୍ୟୟ ସୂଚନା ବ୍ୟବସ୍ଥା, ଉଦ୍ଧାର ଓ ରିଲିଫ କାର୍ୟ୍ୟ, ପାନୀୟ ଜଳ ବ୍ୟବସ୍ଥା ସ୍ବାସ୍ଥ୍ୟ ଓ ପ୍ରାଣୀସେବା ବ୍ୟବସ୍ଥା ଆଦି ସମସ୍ତ ବ୍ୟବସ୍ଥା ଗୁଡିକୁ ପ୍ରସ୍ତୁତ କରି ରଖିବା ଜରୁରୀ। ଏହାସହିତ ସମସ୍ତ ଓଡ୍ରାଫ ଓ ଅଗ୍ନିସେବା ବାହିନୀ ପ୍ରସ୍ତୁତ ହୋଇ ରହିବା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି। ବିପର୍ୟ୍ୟୟ ପ୍ରବଣ ଓ ଦୁର୍ଗମ ଅଞ୍ଚଳରେ ପର୍ୟ୍ୟାପ୍ତ ପରିମାଣର ଖାଦ୍ୟପଦାର୍ଥକୁ ମହଜୁଦ ରଖିବା, ଜିଲ୍ଲାସ୍ତରୀୟ ଜରୁରୀକାଳୀନ କେନ୍ଦ୍ର ଗୁଡିକୁ ୨୪ ଘଣ୍ଟିଆ କାର୍ୟ୍ୟକାରୀ କରିବା, ପଶୁ ଖାଦ୍ୟ ମହଜୁଦ ରଖିବା ଓ ବିପର୍ୟ୍ୟୟ ସମୟରେ ପ୍ରାଣୀସେବା କ୍ୟାମ୍ପ ଖୋଲିବା ପାଇଁ ସେ ପରାମର୍ଶ ଦେଇଥିଲେ। ଗର୍ଭବତୀ ମହିଳା, ଶାରୀରିକ ଓ ମାନସିକ ଭିନ୍ନକ୍ଷମ ବ୍ୟକ୍ତି, ଶିଶୁ, ବିଧବା ଓ ବୟସ୍କ ଲୋକମାନଙ୍କ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
ବୈଠକରେ ବିଭାଗୀୟ ମନ୍ତ୍ରୀ ପ୍ରମିଳା ମଲ୍ଲିକ କହିଛନ୍ତି ଯେ, ରାଜ୍ୟରେ ୮୭୯ଟି ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳ ଥିବାବେଳେ, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଅର୍ଥ ବିନିଯୋଗ କରାଯାଇ ଆହୁରି ୫୫ଟି ଆଶ୍ରୟସ୍ଥଳ ନିର୍ମାଣ କରାଯାଉଛି। ରାଜ୍ୟର ବିଭିନ୍ନ ସ୍ଥାନରେ, ବିଶେଷ କରି ଉପକୂଳ ଅଞ୍ଚଳରେ ବିପର୍ୟ୍ୟୟ ପ୍ରତିରୋଧି ଗୃହ ନିର୍ମାଣ କରାଯାଉଛି ବୋଲି ସେ କହିଥିଲେ ।