ସୁନ୍ଦରଗଡ ହେଉଛି ଓଡ଼ିଶାର ବିକାଶର ବତୀଘର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସୁନ୍ଦରଗଡ ସଦର ବ୍ଲକ୍ ଅନ୍ତର୍ଗତ କୋପସିଂଗା ଓ କୁଡାବଙ୍ଗା ଠାରେ ୪୯୩ କୋଟି ଟଙ୍କା ବ୍ୟୟ ଅଟକଳରେ ଇବ୍ ନଦୀ ଉପରେ ନିର୍ମାଣ ହେବାକୁ ଥିବା ଦୁଇଟି ବ୍ୟାରେଜର ଶିଳାନ୍ୟାସ କରିଛନ୍ତି । ଏହି ଦୁଇଟି ପ୍ରକଳ୍ପ କାର୍ଯ୍ୟ ଆଗାମୀ ୨ ବର୍ଷରେ ଶେଷ ହେବ ଏବଂ ଏହାଦ୍ବାରା ସୁନ୍ଦରଗଡ ମ୍ୟୁନିସପାଲଟି, ସୁନ୍ଦରଗଡ ସଦର ବ୍ଲକ୍, ଲେଫ୍ରିପଡା, ବାଲିଶଂକରା ଓ ଟାଙ୍ଗରପାଲି ଆଦି ବ୍ଲକ୍ର ୪୭ ହଜାର ଲୋକ ଉପକାର ପାଇବେ ।  ଏହାସହିତ  ୪୮୮ ହେକ୍ଟର ଜମିକୁ ଜଳସେଚନ ସୁବିଧା ମିଳିବ । ଉପରୋକ୍ତ ବ୍ଲକ୍ଗୁଡିକରେ ଘରେ ଘରେ ପାନୀୟ ଜଳଯୋଗାଣ ସୁବିଧା ହୋଇପାରିବ ଓ ମତ୍ସ୍ୟଜୀବୀ ମାନେ ଏହି ବ୍ୟାରେଜରେ ମାଛ ଚାଷ କରି ଜୀବିକା ଉପର୍ଜନ କରିପାରିବେ ।

ଏହି ଦୁଇଟି ବ୍ୟାରେଜ ଉପରେ ବ୍ରିଜ କରାଯାଉଥିବାରୁ ଲେଫ୍ରିପଡା ଓ ଟାଙ୍ଗରପଲ୍ଲୀ ବ୍ଲକ୍ର ଲୋକମାନେ ରାଉରକେଲା ସହିତ ସିଧାସଳଖ ଯୋଗାଯୋଗ ସୁବିଧା ପାଇବେ । ଏହି ଅବସରରେ ଉଦ୍ ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ରାଜ୍ୟରେ ଜଳ ସମସ୍ୟାର ସମାଧାନ ପାଇଁ ରାଜ୍ୟ ସରକାର ନିଜ ପାଣ୍ଠିରୁ Construction of in-stream Storage Structure ଯୋଜନା ଆରମ୍ଭ କରିଛନ୍ତି । ଏଥିପାଇଁ ୧୧,୭୦୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ରାଜ୍ୟର ବିଭିନ୍ନ ନଦୀ ସ୍ରୋତର ୩୦ଟି ସ୍ଥାନରେ ଏହି ବ୍ୟାରେଜ ନିର୍ମାଣ କରାଯିବ । ଯାହାଫଳରେ ଚାଷୀ ଜମିକୁ ସବୁ ଦିନ ପାଇଁ ପାଣି ପାଇପାରିବ । ଭୂତ୍ତଳ ଜଳସ୍ତର ଠିକ୍‌ ରହିବ । ଆଖପାଖ ଗାଁ ମାନଙ୍କରେ ବିଶୁଦ୍ଧ ପାଇପ ପାଣି ଯୋଗାଣ ହୋଇପାରିବ । ଆଜି ସୁନ୍ଦରଗଡରେ ଆରମ୍ଭ ହୋଇଥିବା ଦୁଇଟି ପ୍ରକଳ୍ପ ଏହି ଯୋଜନାର ଅଂଶବିଶେଷ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସୁନ୍ଦରଗଡ ହେଉଛି ଓଡିଶାର ବିକାଶର ବତୀ ଘର । ରାଉରକେଲା ସହର, ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ ଓ ରାଉରକେଲାର NIT  ଓଡିଶାର ଗୌରବ ବୃଦ୍ଧି କରିଛି । ଏହି ତିନୋଟିଯାକ ଗୁରୁତ୍ବପୁର୍ଣ୍ଣ ପ୍ରକଳ୍ପରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ସ୍ମୃତି ଜଡିତ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସୁନ୍ଦରଗଡ ସାରା ଦେଶକୁ ବହୁତ କିଛି ଦେଇଛି । ସୁନ୍ଦରଗଡର କୋଇଲା, ଦେଶକୁ ଶକ୍ତି ଯୋଗାଉଛି ।

କାର୍ଯ୍ୟକ୍ରମରେ ଯୋଗ ଦେଇ ବିଧାୟକ  ତଥା ସୁନ୍ଦରଗଡ ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ଶ୍ରୀ ସାରଦା ନାୟକ ଜିଲ୍ଲାର ବିଭିନ୍ନ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଯେଭଳି ପଦକ୍ଷେପ ନେଇଛନ୍ତି, ସେଥିପାଇଁ  ମୁଖ୍ୟମନ୍ତ୍ରୀଙ୍କୁ  ଧନ୍ୟବାଦ ଜଣାଇଥିଲେ । ଜଳସଂପଦ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଅନୁ ଗର୍ଗ ତାଙ୍କ ସ୍ବାଗତ ଭାଷଣରେ Construction of in-stream Storage Structure  ସଂପର୍କରେ ଅବତାରଣା କରିଥିଲେ । ବିଭାଗୀୟ ଯନ୍ତ୍ରୀମୁଖ୍ୟ ଧନ୍ୟବାଦ ଅର୍ପଣ କରିଥିଲେ ।