ଲୋକଙ୍କ ସାଥିରେ ରୁହ ଓ ଲୋକଙ୍କ ସମସ୍ୟା ସମାଧାନ ଉପରେ ଗୁରୁତ୍ୱ ଦିଅ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନିଜ ନିଜ ସହରକୁ ଶ୍ରେଷ୍ଠ କରିବା ପାଇଁ ନେତୃତ୍ୱ ନେଇ ନିଷ୍ଠାର ସହ କାମ କର। ଲୋକଙ୍କ ସାଥିରେ ରୁହ, ସେମାନଙ୍କ ସମସ୍ୟା ସମାଧାନ ପାଇଁ ନିଷ୍ଠାର ସହ କାମ କର। ଆଜି ଲୋକସେବା ଭବନରେ ନବନିର୍ବାଚିତ ମେୟର ଓ ପୌରାଧକ୍ଷ ମାନଙ୍କ ପାଇଁ ଆୟୋଜିତ ପୌର ଶାସନ ପ୍ରଣାଳୀ ଓ ଉନ୍ନୟନ ପଦ୍ଧତି ଶୀର୍ଷକ କର୍ମଶାଳାକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପରାମର୍ଶ ଦେଇଛନ୍ତି। ସହରାଞ୍ଚଳର ଉନ୍ନତି ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ ଆଜି ଜାତୀୟ ଓ ଅନ୍ତର୍ଜାତୀୟ ସ୍ୱୀକୃତି ହାସଲ କରିଛି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜାଗା ମିଶନ ବିକାଶ ମୁଖି ଦେଶ ମାନଙ୍କ ପାଇଁ ଏକ ମଡେଲ ହୋଇଛି । ସେହିପରି ଟ୍ୟାପରୁ ବିଶୁଦ୍ଧ ପିଇବା ପାଣି ଯୋଗାଣ ସୁଜଳ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରିବାରେ ଓଡିଶା ସାରା ଦେଶରେ ଏକ ମାତ୍ର ରାଜ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଜାଗା ମିଶନ, ସୁଜଳ,ପରିମଳ ଓ ବର୍ଜ୍ୟ ବସ୍ତୁ ପରିଚାଳନା ମୁକ୍ତା ଯୋଜନା,ଆହାର ଏବଂ ସ୍ମାର୍ଟ ଏଲଇଡ଼ି ଲାଇଟ ଆଦି ସରକାରଙ୍କ ଫ୍ଲାଗ ସିପ୍ ପ୍ରୋଗ୍ରାମ ଉପରେ ମୁଖ୍ୟମନ୍ତ୍ରୀ ତାଙ୍କ ଭାଷଣରେ ଫୋକସ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବସ୍ତି ବିକାଶ ସମୟରେ ରାଜ୍ୟ ସରକାର ଜମି ଅପେକ୍ଷା ଲୋକଙ୍କୁ ଅଧିକ ଗୁରୁତ୍ୱ ଦେଇ ଜାଗା ମିଶନ ଆରମ୍ଭ କରିଛନ୍ତି । ଏ ପର୍ଯ୍ୟନ୍ତ ଏକ ଲକ୍ଷ ପଚସ୍ତରୀ ହଜ଼ାର ପରିବାରକୁ ଭୂମି ଅଧିକାର ଦିଆଯାଇଥିବାବେଳ ୫୮୫ ବସ୍ତିକୁ ଆଦର୍ଶ ବସ୍ତିରେ ପରିଣତ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । ସେହିପରି ସୁଜଳ କାର୍ଯ୍ୟକ୍ରମରେ ପୁରୀରେ ଟ୍ୟାପରୁ ବିଶୁଦ୍ଧ ପିଇବା ପାଣି ମିଳୁଥିବା ବେଳ ରାଜ୍ୟର ୨୦ଟି ସହରରେ ଏଥିପାଇଁ କାମ ଚାଲିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ ।

ସେହିପରି କୋଭିଡ ସମୟରେ ସହରର ଗରିବ ଲୋକ ଓ ଦାଦନ ଶ୍ରମିକ ମାନଙ୍କ ପାଇଁ ଆରମ୍ଭ ହୋଇଥିବା ମୁକ୍ତା ଯୋଜନା ଜାରି ରହିବ ଓ ଏଥିପାଇଁ ବଜେଟରେ ୫୦୦ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମିଶନ ଶକ୍ତି ଓ ବସ୍ତି ବିକାଶ ପରିଷଦ ଜରିଆରେ ଚାଲିଥିବା ଏହି କାର୍ଯ୍ୟକ୍ରମ ବେଶ ଲୋକପ୍ରିୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ପରିମଳ ସବୁଠାରୁ ଗୁରୁତ୍ୱ ପୂର୍ଣ୍ଣ ବୋଲି ମତ ଦେଇ ସ୍ୱଚ୍ଛତା ଓ ବର୍ଜ୍ୟ ବସ୍ତୁ ପରିଚାଳନା ଉପରେ ଅଧିକ ଗୁରୁତ୍ୱ ଦେଇ କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଚଳିତ ପୌର ନିର୍ବାଚନରେ ମା ମାନେ ବହୁ ସଂଖ୍ୟାରେ ଭାଗ ନେଇ ବିଜୟୀ ହୋଇଥିବାରୁ । ମୁଖ୍ୟମନ୍ତ୍ରୀ ଆନନ୍ଦ ପ୍ରକାଶ କରିବା ସହ ସେମାନଙ୍କୁ ବିଶେଷ ଅଭିନନ୍ଦନ ଜଣାଇଥିଲେ ଓ ଭଲ କାମ କରି ଲୋକଙ୍କ ଆସ୍ଥା ଜାରି ରଖିବାକୁ ପରାମର୍ଶ ଦେଇଥିଲେ ।

ସହରାଞ୍ଚଳ ବିକାଶରେ ଆସିଥିବା ରୂପାନ୍ତରରେ 5T ସିଦ୍ଧାନ୍ତର ଗୁରୁତ୍ୱ ପୂର୍ଣ୍ଣ ଭୂମିକା ଥିବାରୁ ପ୍ରତ୍ୟେକ ସ୍ତରରେ 5T ସିଦ୍ଧାନ୍ତକୁ ନିଷ୍ଠାର ସହ କାର୍ଯ୍ୟକାରୀ କରି ଲୋକଙ୍କୁ ଉତ୍ତମ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ନୂଆ ନେତୃତ୍ୱ ଓ ନୂଆ ପରିଚାଳନା କୌଶଳ ପୌର ସେବାକୁ ନୂତନ ଶିଖରରେ ପହଞ୍ଚାଇବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ ।

କର୍ମଶାଳାରେ ଉଦବୋଧନ ଦେଇ ନଗର ଉନ୍ନୟନ ପଞ୍ଚାୟତି ରାଜ ଓ ଆଇନ ମନ୍ତ୍ରୀ ପ୍ରତାପ ଜେନା ରାଜ୍ୟ ସରକାରଙ୍କ ବିଭିନ୍ନ ସହରାଞ୍ଚଳ ବିକାଶ କାର୍ଯ୍ୟକ୍ରମକୁ ସଫଳ ଭାବରେ କାର୍ଯ୍ୟକାରି କରିବା ଦିଗରେ ନିଷ୍ଠାପର ଉଦ୍ୟମ ଜାରି ରଖିବା ପାଇଁ ପରାମର୍ଶ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର , ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି ମାଥି ଭାତ ନାନ ଓ ପୌର ନିର୍ଦେଶକ ସଂଗ୍ରାମଜୀତ ନାୟକ ପ୍ରମୁଖ ଯୋଗ ଦେଇଥିଲେ ।