ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ନେଇ ସ୍ବତନ୍ତ୍ର ରିଲିଫ୍ କମିସନର୍ ପ୍ରଦୀପ ଜେନା ୧୮ଟି ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛନ୍ତି। ସେହି ୧୮ଟି ଜିଲ୍ଲା ହେଉଛି ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ନୟାଗଡ଼, କଟକ, ମୟୂରଭଞ୍ଜ, କେଉଁଝର, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଓ କନ୍ଧମାଳ। ଏହି ସବୁ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ସେ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ସତର୍କ କରାଯାଇଥିବା ଜିଲ୍ଲାରେ ୨୪ ଘଣ୍ଟିଆ ଜରୁରୀ ଅପରେସନ୍ ଅଫିସ୍ ଓ କଣ୍ଟ୍ରୋଲ୍ ରୁମ୍ ଖୋଲା ରଖିବାକୁ କୁହାଯାଇଛି । ଅସୁରକ୍ଷିତ ସ୍ଥାନରେ ଥିବା ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନେବା ଲାଗି ବି ଏହି ଚିଠିରେ ନିର୍ଦ୍ଦେଶ ରହିଛି। ନିରାପଦ ସ୍କୁଲରେ ଲୋକଙ୍କୁ ରଖିବା ଲାଗି ପରାମର୍ଶ ଦିଆଯାଇଛି। ସମସ୍ତ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀଗୁଡ଼ିକୁ ତଦାରଖ କରିବା ଲାଗି ବିଡିଓ ଏବଂ ତହସିଲଦାରମାନଙ୍କୁ କୁହାଯାଇଛି। ସୂଚନାଯୋଗ୍ୟ ଯେ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୬ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଏହାପରେ ଏହା ବାତ୍ୟାର ରୂପ ନେବ।