ଓଡିଶାରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରାଇବା ପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ପାଖରେ ଦାବି କଲେ ଓଡିଶାର ବିଜେପି ସାଂସଦ ।

ଭୁବନେଶ୍ୱର : କେନ୍ଦ୍ରମନ୍ତ୍ରୀଙ୍କ ନେତୃତ୍ୱରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଭେଟିଲେ ବିଜେପି ସାଂସଦ ପ୍ରତିନିଧି ମଣ୍ଡଳୀ | ୪.୫ କୋଟି ଓଡ଼ିଆ ସମେତ ୧ କୋଟି ପ୍ରବାସୀ ଓଡ଼ିଆଙ୍କ ହିତ ପାଇଁ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ କରିବାକୁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଅନୁରୋଧ କଲେ ଓଡ଼ିଶାର ବିଜେପି ସାଂସଦ | ରାଜ୍ୟରେ ସ୍ୱାସ୍ଥ୍ୟବସ୍ଥା ବିପର୍ଯ୍ୟସ୍ତ, ଅଥଚ ଆୟୁଷ୍ମାନ ଯୋଜନା କାର୍ଯ୍ୟକାରୀ ନ ହେବା ଚିନ୍ତାଜନକ ବୋଲି ଏଭଳି ପଦକ୍ଷପ ନେଇଛନ୍ତି |

ପ୍ରତିନିଧି ମଣ୍ଡଳୀ ପକ୍ଷରୁ ଦିଆଯାଇଥିବା ଦାବୀ ପତ୍ରରେ ଉଲ୍ଲେଖ ରହିଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ୨୦୧୮ ମସିହାରେ ଆରମ୍ଭ ହୋଇଥିବା ଆୟୁଷ୍ମାନ ଭାରତ ଯୋଜନା ଏକ ଐତିହାସିକ ପଦକ୍ଷେପ । ଏହି ଯୋଜନାରେ ପ୍ରତ୍ୟେକ ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଉତ୍ତମ ଚିକିତ୍ସା ସେବାର ଯୋଗାଇ ଦେବାର ବ୍ୟବସ୍ଥା ରହିଛି । ଦେଶର ପ୍ରାୟ ୨୦.୮୭ କୋଟି ପରିବାର ତଥା ୭୫ କୋଟି ହିତାଧିକାରୀ ଏହି ସୁବିଧାର ଲାଭ ନେଉଛନ୍ତି । ଦେଶରେ ପ୍ରାୟ ୨୬,୨୬୭ ତାଲିକାଭୂକ୍ତ ସ୍ୱାସ୍ଥ୍ୟସେବା ପ୍ରଦାନକାରୀ (ଇଏଚସିପି)ର ନେଟଓ୍ୱାର୍କ ମାଧ୍ୟମରେ ୪୮,୯୩୪ କୋଟି ଟଙ୍କା ମୂଲ୍ୟର ସ୍ୱାସ୍ଥ୍ୟସେବା ପ୍ରଦାନ କରାଯାଇଛି, ଯାହା ଏହି ଯୋଜନାର ସଫଳ କାର୍ଯ୍ୟକାରିତାକୁ ଦର୍ଶାଉଛି ।

ଲୋକଙ୍କ କଲ୍ୟାଣ ପାଇଁ ଦେଶର ପ୍ରାୟ ସମସ୍ତ ରାଜ୍ୟ ଗୁଡ଼ିକ ରାଜନୀତିରୁ ଉର୍ଦ୍ଧ୍ୱରେ ରହି କେନ୍ଦ୍ର ସରକାରଙ୍କ ଏହି ସ୍ୱାସ୍ଥ୍ୟ ଯୋଜନାକୁ କାର୍ଯ୍ୟକାରୀ କରୁଥିବା ବେଳେ ଓଡ଼ିଶା ଭଳି ଅଳ୍ପ କିଛି ରାଜ୍ୟ ସର୍ବଭାରତୀୟ ସ୍ୱାସ୍ଥ୍ୟ ଯୋଜନାର ଲାଭରୁ ନାଗରିକଙ୍କୁ ବଞ୍ଚିତ କରୁଛନ୍ତି । ଆୟୁଷ୍ମାନ ଭାରତ ଯୋଜନା କାର୍ଯ୍ୟକାରୀ ନ ହେବା କାରଣରୁ ସ୍ୱାସ୍ଥ୍ୟକ୍ଷେତ୍ରରେ ଓଡ଼ିଶାରେ ସ୍ଥିତି ବିପର୍ଯ୍ୟସ୍ତ ଆଡକୁ ଗତି କରୁଛି, ଯାହା ରାଜ୍ୟ ଏବଂ ରାଜ୍ୟ ବାହାରେ ବସବାସ କରୁଥିବା ଓଡିଆ ଲୋକଙ୍କ ପାଇଁ ଏକ ଅଭିଶାପ ସାବ୍ୟସ୍ତ ହୋଇଛି । ଦେଶର ୨୦ଟି ରାଜ୍ୟ ନିଜସ୍ୱ ସ୍ୱାସ୍ଥ୍ୟ ଯୋଜନା ସହ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିସାରିଛନ୍ତି | ଏଣୁ ଓଡ଼ିଶାରେ ତାହା ଲାଗୁ କରିବା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ଓଡିଶା ବିଜେପି ସାଂସଦ |