ଆଜି ମହାପ୍ରଭୁଙ୍କ ବନକଲାଗି ନୀତି; ୩ ଘଣ୍ଟା ଧରି ବନ୍ଦ 

ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବାୟତ

0

(ପୁରୀ) : ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବାୟତ । ଶ୍ରୀଜିଉଙ୍କ ବନକଲାଗି ପାଇଁ ଶ୍ରୀମନ୍ଦିରରେ ୩ ଘଣ୍ଟା ଧରି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ସନ୍ଧ୍ୟା ୬ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାନୁଯାୟୀ , ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଆଦି ପାରମ୍ପରିକ ରଙ୍ଗ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଛି । ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯାଇ ପୁନର୍ବାର ଦର୍ଶନ ସହ ଅନ୍ୟ ନୀତିକାନ୍ତି ଆରମ୍ଭ ହେବ । ଏହି ନୀତି ପାଇଁ ଥିବା ସେବାୟତଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା ଏମାନଙ୍କ କାମ। ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ ।