ସରିଲା ଛତିଶା ନିଯୋଗ ବୈଠକ : ଏଥର ଚନ୍ଦନ ଯାତ୍ରାରେ ଫୁଟିବନି ବାଣ

ପୁରୀ: ଏପ୍ରିଲ ୩୦ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା । ଏହି ଦିନ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ ଅନୁକୂଳ ସହ ୨୧ ଦିନ ବ୍ୟାପି ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ । ଆଜି ଅପରାହ୍ନରେ ନୀଳାଦ୍ରି ଭକ୍ତ ନିବାସରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ ଅକ୍ଷୟ ତୃତୀୟ ପାଇଁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି  ।

ନୀତି ସବ୍ କମିଟିରେ ଚୁଡାନ୍ତ ହୋଇଥିବା ନୀତି ନିର୍ଘଣ୍ଟକୁ ଛତିଶା ନିଯୋଗ ବୈଠକରେ ଅନୁମୋଦନ କରାଯାଇଛି । ଭକ୍ତମାନେ କିଭଳି ସୁନ୍ଦର ଭାବେ ଦର୍ଶନ କରିପାରିବେ ସେ ନେଇ ମଧ୍ୟ ବୈଠକରେ ଆଲୋଚନା କରାଯାଇଛି  । ସେହିପରି ଗତବର୍ଷ ଶ୍ରୀକ୍ଷେତ୍ର ଭଉଁରୀ ଅବସରରେ ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ଫୋରଣରେ ୧୭ ଜଣଙ୍କର ମୃତ୍ୟୁ ଘଟିଥିଲା ।

ଏଣୁ ଚଳିତ ବର୍ଷ ନରେନ୍ଦ୍ର ପୁଷ୍କରିଣୀରେ ଯେଭଳି କୌଣସି ଅଘଟଣ ନଘଟେ ସେନେଇ ଆତସବାଜି ଉପରେ ସମ୍ପୂର୍ଣ୍ଣ କଟକଣା ଲଗାଯାଇଛି। ଚଳିତ ବର୍ଷ ବାଣ ବ୍ୟବହାର ହୋଇପାରିବ ନାହିଁ ବୋଲି ସୂଚନା ମିଳିଛି ।  ନରେନ୍ଦ୍ର ପୁଷ୍କରିଣୀ ବାହାରେ ହେବ ୨ଟି ଫାଷ୍ଟଏଡ୍‌ ସେଣ୍ଟର’ । ଭକ୍ତ ଓ ସେବାୟତଙ୍କ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଇନସ୍ୟୁରାନ୍ସ ବ୍ୟବସ୍ଥା ମଧ୍ୟ କରାଯାଇଛି।

ସୂଚନାଥାଉକି, ଆଜି ଅପରାହ୍ନରେ ନୀଳାଦ୍ରି ଭକ୍ତ ନିବାସରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ ଅକ୍ଷୟ ତୃତୀୟ ପାଇଁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି । ନୀତି ନିର୍ଘଣ୍ଟ ଅନୁଯାୟୀ ଅକ୍ଷୟ ତୃତୀୟା ଦିନ ଅପରାହ୍ନ ୩ଟାରେ ଦ୍ଵାଦଶ ଯାତ୍ରା ଓ ନକ୍ଷତ୍ର ବନ୍ଦାପନା, ଅପରାହ୍ନ ୩.୩୦ରେ ବିମାନକୁ ଦିଅଁ ବିଜେ, ଅପରାହ୍ନ ୪ଟା ରେ ରଥ ଆଜ୍ଞାମାଳ ବିଜେ ଓ ବିମାନ ଉଠିବ । ରାତ୍ର ୧୦ଟା ରେ ଚନ୍ଦନ ଠାକୁର ବାହୁଡ଼ା ବିଜେ କରିବେ ।

ଅନ୍ୟପଟେ ମରାମତି କାର୍ଯ୍ୟ ଶେଷ ହେବା ପରେ ଭିତର ଓ ବାହାର ରତ୍ନଭଣ୍ଡାରର କବାଟକୁ ସୁନା ଓ ରୂପା ଛାଉଣୀ କରାଯିବା ନେଇ ଯୋଜନା ରଖିଛି ଶ୍ରୀମନ୍ଦିର ପ୍ରଶାସନ । ଏନେଇ ବିଭିନ୍ନ ସେବାୟତ ନିଯୋଗର ମତାମତ ନିଆଯାଇ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ମୁଖ୍ୟ ପ୍ରଶାସକ ।

ବୈଠକ ଶେଷ ହେବା ପରେ ସେବାୟତ ପରିବାରର ବିଭିନ୍ନ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀମାନଙ୍କୁ ଆର୍ଥିକ ସହାୟତା ରାଶି ପ୍ରଦାନ ସହ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି ବୈଠକରେ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଏସପି ବିନୀତ ଅଗ୍ରୱାଲ, ଛତିଶା ନିଯୋଗର ସେବାୟତ ସଦସ୍ୟଙ୍କ ସହ ଅନ୍ୟାନ୍ୟ ବରିଷ୍ଠ ପ୍ରଶାସନିକ ଅଧିକାରୀ ମାନେ ଉପସ୍ଥିତ ଥିଲେ ।