ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି
ରାଇରଙ୍ଗପୁର-: ଆଜି ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ବାମନଘାଟି ଉପଜିଲ୍ଲାପାଳ ଶ୍ରୀ ସୌମ୍ୟରଞ୍ଜନ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଈଶ୍ୱର ଚନ୍ଦ୍ର ନାଏକ, ରାଇରଙ୍ଗପୁର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ଯଦୁନାଥ ଜେନା, ରାଇରଙ୍ଗପୁର ପି.ଏ ଆଇ ଟି ଡି ଏ ଶ୍ରୀ ଯୋଗ ରଞ୍ଜନ ନାୟକ ପ୍ରମୁଖ ଯୋଗ ଦେଇଥିଲେ। ଶିବିର ପ୍ରାରମ୍ଭରେ ଜିଲ୍ଲାପାଳ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ସ୍ୱାଗତ କରିବା ସହ ଜନସାଧାରଣଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟାରେ ସମ୍ପନ୍ନ କରିବା ପାଇଁ ପରାମର୍ଶ ଦେଇଥିଲେ। ଏହି ଶିବିରରେ ଜନସାଧାରଣଙ୍କ ଠାରୁ ମୋଟ ୮୧ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୬୫ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୧୬ଟି ଗ୍ରାମବାସୀ ଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା। ଅନୁଷ୍ଠିତ ଉକ୍ତ ଶିବିରରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକାର କାର୍ଯ୍ୟନିର୍ବାହୀ ଅଧିକାରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ଗୋଷ୍ଠୀ ଶିକ୍ଷା ଅଧିକାରୀ ଉପସ୍ଥିତ ଥିବା ବେଳେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ ମାନଙ୍କ ଦ୍ୱାରା ଶିବିର କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା।