ଉତ୍ତର ଓଡ଼ିଶା ଉପରେ ସକ୍ରିୟ ଲଘୁଚାପ, ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା

ଉତ୍ତର ଓଡ଼ିଶା ଉପରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଆଗାମୀ କିଛି ଦିନ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ଘଡ଼ଘଡ଼ି ହୋଇପାରେ। କିଛି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତିପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଏହି ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ନୟାଗଡ଼, ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏହାସହ ରାଜ୍ୟର କିଛି ସ୍ଥାନରେ ବଜ୍ରପାତ ସହ ଘଡ଼ଘଡ଼ି ହେବା ସହ ୩୦ରୁ ୪୦ କିଲୋମିଟର ବେଗରେ ଝଟକା ପବନ ବହିପାରେ। ତେଣୁ ବଜ୍ରପାତ ସମୟରେ ଲୋକଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

 

ଆଗାମୀ ୪ ଦିନ ମଧ୍ୟ ରାଜ୍ୟର ଅନେକ ସ୍ଥାନରେ ବର୍ଷା କିମ୍ବା ଘଡ଼ଘଡ଼ି ସହ ବର୍ଷା ଜାରି ରହିପାରେ। ଲଘୁଚାପର ପ୍ରଭାବରେ ବର୍ଷାର ପରିମାଣ ଆହୁରି ବଢ଼ିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।