ଆସନ୍ତା କାଲି ସଂଧ୍ୟା ୫ଟାରୁ ରାତି ୯ଟା ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ

ପୁରୀ : ଆସନ୍ତା କାଲି ସଂଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ଶ୍ରୀ ମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ । ବୁଧବାର ଚୈତ୍ର ଶୁକ୍ଳ ପ୍ରତିପଦ ତିଥିରେ ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ନୀତି ସମୟରେ ୪ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ ।

ବନକଲାଗି ନୀତି ପାଇଁ ଦ୍ୱିତୀୟ ଭୋଗ ମଣ୍ଡପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭ ଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ଧଳା,ନାଲି ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଚମକିବ । କସ୍ତୁରୀ,ହିଙ୍ଗୁଳ, ହରିତାଳରେ ସେବା ନୀତି କରାଯିବ । ଏହି ନୀତି ସମ୍ପାଦନ ପ ର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ଏବଂ ଏହାପରେ ସ୍ୱାଭାବିକ ଦର୍ଶନ କରି ପାରିବେ ଭକ୍ତମାନେ ।