ମହାପ୍ରଭୁଙ୍କ ଦେବଦୀପାବଳି ନୀତି ଆରମ୍ଭ

ଗୋପ (ଜୟନ୍ତ କୁମାର ସେଠି ): ଆଜିଠାରୁ ଶ୍ରୀମନ୍ଦିରରେ ତିନିଦିନ ବ୍ୟାପି ମହାପ୍ରଭୁଙ୍କ ଦେବଦୀପାବଳି ନୀତି ଆରମ୍ଭ ହୋଇଛି। ଏହି ତିନିଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ ଦେବେ । ଚତୁର୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ତିନିଦିନ ଧରି ଏହି ନୀତି ଯଥାବିଧି ପାଳନ ହେବାର ପରମ୍ପରା ରହିଆସିଛି | ଆଜି ପ୍ରଥମ ଦିନ ମାର୍ଗଶିର କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ସନ୍ଧ୍ୟାଧୂପ ନୀତି ବଢିବା ପରେ ମହାପ୍ରଭୁ,ଅଦିତି ଓ କଶ୍ୟପଙ୍କ ଉଦେଶ୍ୟରେ ଦୀପ ଦାନ ଓ ଶ୍ରାଦ୍ଧ ଦେବେ । ଆସନ୍ତାକାଲି ଦ୍ଵିତୀୟ ଦିନ ଅମାବାସ୍ୟା ତିଥିରେ ଦଶରଥ ଓ କୌଶଲ୍ୟାଙ୍କ ଉଦେଶ୍ୟରେ ଦୀପଦାନ ଓ ଶ୍ରାଦ୍ଧ ଦେବା ପରେ ତୃତୀୟ ଦିନ ଅର୍ଥାତ ଗୁରୁବାର ପ୍ରତିପଦା ତିଥିରେ ମହାପ୍ରଭୁ ଦେବକୀ,ବାସୁଦେବ,ନନ୍ଦ,ଯଶୋଦା,ମହାରାଜା ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚା ରାଣୀଙ୍କୁ ଦୀପଦାନ କରିବା ସହ ଶ୍ରାଦ୍ଧ ଦେବାର ପରମ୍ପରା ରହିଛି |

ଏହି ତିନି ଦିନ ଶ୍ରୀଜଗନ୍ନାଥ ମହାପ୍ରଭୁ ଶ୍ରାଦ୍ଧ ବେଶ ଧାରଣ କରି ପିତୃପୁରୁଷ ଉଦେଶ୍ୟରେ ଶ୍ରାଦ୍ଧ ତର୍ପଣ କରିବେ | ଏହା ସହ ଏହି ତିନିଦିନ ମଧ୍ୟ ମହାଦୀପ ମଧ୍ୟ ପ୍ରଜ୍ବଳିତ ହେବ | ତେଣୁ ଏହାକୁ ଦେବଦୀପାବଳି କୁହାଯାଏ। ପ୍ରତିଦିନ ସଂଧ୍ୟା ଧୂପ ପରେ ପୁଷ୍ପାଳକ ସେବାୟତ ମାନେ ମହାପ୍ରଭୁଙ୍କୁ ଶ୍ରାଦ୍ଧ ଵେଶରେ ନାଗପୁରୀ ଶାଢୀ ଚାଦରରେ ଭୂଷିତ କରାଇବେ | ଏହି ବେଶରେ ଶ୍ରୀବିଗ୍ରହମାନେ ଧଳାବସ୍ତ୍ର ପରିଧାନ କରିଥାନ୍ତି । ଶ୍ରୀଜଗନ୍ନାଥ ମହାପ୍ରଭୁ ୧୬ ହାତ ,ଶ୍ରୀବଳଭଦ୍ର ୧୪ ହାତ ଓ ଦେଵୀ ସୁଭଦ୍ରା ୧୨ ହାତ ଲମ୍ବ ବିଶିଷ୍ଟ ସୂତା ଶାଢୀ ବା ନାଗପୁରୀ ଶାଢୀ ପରିଧାନ କରିଥାନ୍ତି। ଶ୍ରାଦ୍ଧ ବେଶରେ ତଡଗୀ,ନଳୀଭୂଜ,ଚନ୍ଦ୍ର,ସୂର୍ଯ୍ୟ, କୁଣ୍ଡଳୀ,ଆଡକାନି,ହରିଡା ମାଳି, କମରପଟି ପ୍ରଭୃତି ସ୍ୱର୍ଣ୍ନ ଅଳଙ୍କାର ରେ ଠାକୁର ମାନେ ବିଭୂଷିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି |