ସୁବର୍ଣ୍ଣପୁର-: ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଶିବିର ବ୍ଲକ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଆରକ୍ଷୀ ଅଧ୍ୟକ୍ଷ ଶ୍ରୀଯୁକ୍ତ ନାରାୟଣ ନାୟକ ଓ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର ମାଝୀ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ନିହିତ ୪୫ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩୨ ଗୋଟି ଗ୍ରହଣ କରାଯାଇଥିବା ବେଳେ ୧୩ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି । ଗୋଟିଏ ଦରଖାସ୍ତ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ସହାୟତା ନିମନ୍ତେ ମଧ୍ୟ ପ୍ରଦାନ କରାଯାଇଛି । ସମସ୍ୟା ଗୁଡିକୁ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ସୂଚନା ପ୍ରଦାନ କରାଯାଇଛି । ଉଲୁଣ୍ଡା ବିଡିଓ ଚିନ୍ମୟ ମହାନନ୍ଦଙ୍କ ତତ୍ବାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ଓ କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଅଶ୍ବିନୀ କୁମାର ମେହେର, ବୀରମହାରାଜପୁର ଉପଜିଲ୍ଲାପାଳ ସୁବ୍ରତ କୁମାର ମେହେରଙ୍କ ସମେତ ଜିଲ୍ଲାସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।