ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କୋରାପୁଟ ସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲ ଠାରେ ୨୮୦ କୋଟି ଟଙ୍କା ବ୍ୟୟରେ ୬୫୦ ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟର ଉଦଘାଟନ କରିଛନ୍ତି । ହସ୍ପିଟାଲରେ ଆବଶ୍ୟକ ଥିବା ସମସ୍ତ ଖାଲି ପଡ଼ିଥିବା ସ୍ୱାସ୍ଥ୍ୟ ସେବା ପଦବୀ ପୂରଣ ହେବ ବୋଲି ମଧ୍ଯ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ୱାସ୍ଥ୍ୟ ସେବା ପାଇଁ କୋରାପୁଟବାସୀଙ୍କୁ ଯେପରି ଆଉ ଦୂର ଦୁରାନ୍ତ ସହରକୁ ଯାଇ ହଇରାଣ ହରକତ ହେବାକୁ ନପଡେ ସେଥିପାଇଁ ଆମ ସରକାର ସମସ୍ତ ବ୍ୟବସ୍ଥା କରୁଛନ୍ତି । ଏହି ମେଡିକାଲ କଲେଜ ହସ୍ପିଟାଲ ଦ୍ବାରା କୋରାପୁଟ ସମେତ ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା ଆଦି ଜିଲ୍ଲା ଏବଂ ପଡୋଶୀ ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ର ଲୋକମାନେ ମଧ୍ୟ ଉପକୃତ ହେବେ।
ରାଜ୍ୟରେ ବର୍ତ୍ତମାନ ୧୨ ଟି ସରକାରୀ ମେଡିକାଲ କଲେଜ ଅଛି । ଖୁବ୍ଶୀଘ୍ର ଆଉ ୪ଟି ଜିଲ୍ଲା ଢେଙ୍କାନାଳ, ଜଗତସିଂହପୁର, ଭଦ୍ରକ ଓ ନବରଙ୍ଗପୁରରେ ମେଡିକାଲ କଲେଜ ସ୍ଥାପନ ହେବ । ଏହି ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲ ରୋଗୀମାନଙ୍କ ସି.ଟି ସ୍କାନ୍, ଡାଏଲିସିସ୍, ମାମୋଗ୍ରାଫି ପରି ଅତ୍ୟାଧୁନିକ ରୋଗ ନିରୂପଣ ପରୀକ୍ଷା ନିରୀକ୍ଷାର ବ୍ୟବସ୍ଥା ମଧ୍ୟ କରାଯାଉଛି । ସରକାର ରାଜ୍ୟରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଲାଗୁ କରିଛନ୍ତି ।ବର୍ତ୍ତମାନ ରାଜ୍ୟବାସୀଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇଦେବା କ୍ଷେତ୍ରରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ମିଳିତ ଭାବେ କାର୍ଯ୍ୟ କରୁଛି ।
ପରିଶେଷରେ ମୁଖ୍ୟମନ୍ତ୍ରୀ କହିଥିଲେ ୨୦୩୬ ମସିହାରେ ସମୃଦ୍ଧ ଓଡ଼ିଶା ଗଠନ ସହ ୨୦୪୭ ମସିହା ବେଳକୁ ବିକଶିତ ଭାରତ ଗଠନରେ ଓଡ଼ିଶାକୁ ଅଗ୍ରଣୀ ସ୍ଥାନରେ ପହଞ୍ଚାଇବା ପାଇଁ ଆମ ସରକାର ଅହରହ ପ୍ରଚେଷ୍ଟା ଜାରି ରଖିଛନ୍ତି । ଶିକ୍ଷା, ସ୍ବାସ୍ଥ୍ୟସେବା, କୃଷି, ଶିଳ୍ପ, ନୂଆ ରୋଜଗାର ସୁବିଧା ସୃଷ୍ଟି, ନିରନ୍ତର ଆର୍ଥିକ ବିକାଶ ଆଦି କ୍ଷେତ୍ରରେ ସାରା ଓଡ଼ିଶାରେ ନୂଆ ଯୁଗର ଆରମ୍ଭ ହୋଇଛି । ଏ ସବୁଥିରେ କୋରାପୁଟ ଜିଲ୍ଲାକୁ ସାମିଲ କରାଯାଇଛି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା – ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା, ଆୟୁଷ୍ମାନ୍ ବୟୋ ବନ୍ଦନା ଯୋଜନା ଅନ୍ତର୍ଗତ ହିତାଧିକାରୀଙ୍କୁ ସ୍ୱାସ୍ଥ୍ୟ ସେବା ପାଇଁ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ, ଶ୍ରୀଯୁକ୍ତ ଗୋକୁଳାନନ୍ଦ ମଲ୍ଲିକ, ଲକ୍ଷ୍ମୀପୁର ବିଧାୟକ ଶ୍ରୀ ପବିତ୍ର ସାଉଁତା, କୋଟପାଡ଼ ବିଧାୟକ ଶ୍ରୀ ରୁପୁ ଭତ୍ରା, ଜିଲ୍ଲାପାଳ ଶ୍ରୀ ମନୋଜ ସତ୍ୟବାନ୍ ମହାଜନ ପ୍ରମୁଖ ମଂଚାସୀନ ଥିବା ବେଳେ ସମାରୋହରେ ଅନୁଷ୍ଠାନିକ ସ୍ୱାଗତ ଭାଷଣ, କୋରାପୁଟ ବିଧାୟକ ଶ୍ରୀ ରଘୁରାମ ମାଛ ଦେଇଥିବା ବେଳେ ଜୟପୁର ବିଧାୟକ ଶ୍ରୀ ତାରାପ୍ରସାଦ ବାହିନୀପତି ଅନୁଷ୍ଠାନିକ ଧନ୍ୟବାଦ ଅର୍ପଣ କରିଥିଲେ।