ରାଜ୍ୟରେ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ କାଳ ବୈଶାଖୀ ଜନିତ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ଦୁଇ ଦିନ ନାକେଦମ୍ କରିବ କାଳବୈଶାଖୀ । କାଳବୈଶାଖୀ ପ୍ରଭାବରେ ବର୍ଷା, ପବନ ଓ ବଜ୍ରପାତ ହେବାର ଆଶଙ୍କା ରହିଛି । ଏହା ସହିତ ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗୁରୁଚାପ ପ୍ରଭାବରେ ରାଜ୍ୟ ମଧ୍ୟକୁ କ୍ରମାଗତ ଭାବେ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବାହିତ ହେଉଛି। ଉଭୟ ନିମ୍ନ ଚାପରେଖା ଓ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପରସ୍ପର ସଂସ୍ପର୍ଶରେ ଆସି ପ୍ରତିକ୍ରିୟଶୀଳ ହେବା ସହିତ କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ପବନ ହେବାର ସମ୍ଭାବନା ରହିଛି। ତେବେ ମଙ୍ଗଳବାର ଓ ବୁଧବାର ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ଓ ବଜ୍ରପାତ ସହ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ସେଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଢେଙ୍କାନାଳ, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଅନୁଗୋଳ, ସୋନପୁର, ବୌଦ୍ଧ, ବଲାଙ୍ଗିର ଓ କଳାହାଣ୍ଡି ଜିଲ୍ଲାରେ କେତେକ ସ୍ଥାନରେ କୁଆପଥର ବର୍ଷା ଏବଂ ବଜ୍ରପାତ ସହ ଘଡ଼ଘଡ଼ି ହୋଇପାରେ। ଏହି ସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୪୫ରୁ ୫୫ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।