ଭୁବନେଶ୍ଵର: ଆସନ୍ତା ୨୫ ତାରିଖରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଅଞ୍ଚଳରେ ସୃଷ୍ଟି ହେବ ଲଘୁଚାପ । ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ହେବା ନେଇ ଆଶଙ୍କା କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ପାଇଁ ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର। ବାକି ୨୫ ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ହେବାର ସମ୍ଭାବନା ଥିବାରୁ ହଳଦିଆ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ। ୨୪ ତାରିଖ ଦିନ ମଧ୍ୟ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହୋଇପାରେ। ୨୫ ତାରିଖ ଦିନ ବଙ୍ଗୋପସାଗରରେ ଲଘୁଚାପ ଯୋଗୁଁ କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏଣୁ ଏହି ସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, କୋରାପୁଟ, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ନବରଙ୍ଗପୁର ଓ ବୌଦ୍ଧ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ। ଏହା ପରେ ପାଗରେ ପରିବର୍ତ୍ତନ ହୋଇପାରେ।