ଭୁବନେଶ୍ଵର: ଆସନ୍ତା ୧୨ ଘଣ୍ଟାରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ଅବପାତ ରୂପ ନେବ । ଫଳରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ପ୍ରବଳ ବର୍ଷା ନେଇ ସତର୍କ କରାଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଅବପାତଟି ଉତ୍ତର ଓଡ଼ିଶା ଆଡ଼େ ମୁହାଁଇବ । ପ୍ରଭାବରେ ଓଡ଼ିଶାରେ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି । ଆସନ୍ତା ୨୮ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ସମୁଦ୍ର ଅଶାନ୍ତରୁ ଅତି ଅଶାନ୍ତ ରହିବ ତେଣୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।
ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଥିବାବେଳେ ଧୀରେ ଧୀରେ ଘନୀଭୂତ ହେବାରେ ଲାଗିଛି। ଆଜି ଏହା ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରର ରୂପ ନେବାର ସମ୍ଭାବନା ରହିଛି। ପରେ ପଶ୍ଚିମ ଉତ୍ତରପଶ୍ଚିମ ଦିଗରେ ଏହା ଗତି କରିବା ସହ ଆସନ୍ତା ୪୮ଘଣ୍ଟା ମଧ୍ୟରେ ଉତ୍ତରଓଡ଼ିଶା- ପଶ୍ଚିମବଙ୍ଗ ଉପକୂଳମୁହାଁ ହୋଇପାରେ। ଏହାର ପ୍ରଭାବରେ ମାସ ଶେଷ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।
ଆଜି ମୟୂରଭଞ୍ଜ, କେନ୍ଦୁଝରରେ ପ୍ରବଳ ଓ ସ୍ଥାନେ ସ୍ଥାନେ ଅତିପ୍ରବଳ ବର୍ଷା ଆଶଙ୍କା ଥିବାରୁ ଏହି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ ଓ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ୯ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।