ଆସୁଛି ଆଉ ଏକ ଲଘୁଚାପ, କାଲିଠୁ ପ୍ରବଳ ବର୍ଷା

ଭୁବନେଶ୍ଵର: ଆସନ୍ତା କାଲି ଠାରୁ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୨୩ରୁ ୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ୨୩ରେ କଟକ ଓ ନୟାଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଜ  ୱାର୍ଣ୍ଣିଂ ଜାରି ହୋଇଛି । କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ, ଗଞ୍ଜାମ, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଖୋର୍ଦ୍ଧା ଓ ବୌଦ୍ଧରେ ପ୍ରବଳ ବର୍ଷା ହୋଇପାରେ । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ବହିପାରେ ପବନ। ସେହିପରି ୨୪ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ଅନୁଗୁଳ ଓ ଢେଙ୍କାନାଳରେ  ପ୍ରବଳ ବର୍ଷା ଆଶଙ୍କା ଅଛି ।