ପଶ୍ଚିମବଙ୍ଗ ମୁହାଁ ହେବ ଅବପାତ, ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ଵର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବ ଅବପାତ । ପ୍ରଭାବରେ ରାଜ୍ୟରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । ଏନେଇ ଆଂଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି । ପ୍ରବଳ ବର୍ଷା ନେଇ କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଥିବା ବେଳେ ୧୦ଟି ଜିଲ୍ଲାକୁ ଅରେଞ୍ଜ ଓ ୧୮ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତା ୫ ଦିନ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି । ଗତ ୨୪ ଘଣ୍ଟାରେ କୋରାପୁଟ କୋଟପାଡରେ ୧୨୯.୦ ମିଲିମିଟର ବର୍ଷା ହୋଇଥିବା ନେଇ ଜଣାପଡିଛି ।

ଅବପାତଟି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଉତ୍ତର ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ମୁହାଁଇବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ଅର୍ଥାତ ୨୮ ତାରିଖ ପର୍ଯ୍ୟନ୍ତ ଉତ୍ତର, ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ । କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ମଧ୍ୟ ହୋଇପାରେ। ଏହା ସହିତ ସମୁଦ୍ର ଅଶାନ୍ତରୁ ଅତି ଅଶାନ୍ତ ରହିବ ବୋଲି ପୂର୍ବାନୁମାନ କରାଯାଇଛି। ଫଳରେ, ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ନଯିବା ପାଇଁ ପାଣିପାଗ ବିଭାଗ ପରାମର୍ଶ ଦେଇଛି ।