ଭୁବନେଶ୍ଵର: ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତାକାଲି ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଲଘୁଚାପ ପ୍ରଭାବରେ ଆଜିଠୁ ରାଜ୍ୟରେ ବଡ଼ ବର୍ଷାର ଆକଳନ କରିଛି ପାଣିପାଗ ବିଭାଗ ।
ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା କହିଛି ଆଂଚଳିକ ପାଣିପାଗ କେନ୍ଦ୍ର I ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ କରିଛି ବିଭାଗ I ବର୍ଷା ସହିତ ବଜ୍ରପାତ ବି ହେବାର ସମ୍ଭାବନା ରହିଛି। ବିଜୁଳି ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ନେଇ ୧, ୨ ଓ ୩ ତାରିଖ ପାଇଁ କିଛି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଆଜି ୨୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କଳାହାଣ୍ଡି, କନ୍ଧମାଳ ଏବଂ କୋରାପୁଟକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର, ଗଜପତି, ବଲାଙ୍ଗିର ଏବଂ ନୂଆପଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାର କିଛି କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋ ମିଟର ବେଗରେ ପବନ ବହିବା ସହିତ ବିଜୁଳି ଘଡ଼ଘଡ଼ି ମାରିପାରେ । ୩ ତାରିଖ ଲାଗି ୨୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।