ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ବିଶେଷ କରି ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷାର ପ୍ରଭାବ ଅଧିକ ରହିଥିବା ବେଳେ ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାରେ କୋହଲା ପାଗ ସାଙ୍ଗକୁ କାଁ ଭାଁ ବର୍ଷା ହେଉଛି। ଲଘୁଚାପ କ୍ଷେତ୍ର ପ୍ରଭାବରେ ୨୦ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୮ ଓ ୧୯ ତାରିଖ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୧୮ରେ ମାଲକାନଗିରି, କୋରାପୁଟ; ୧୯ରେ କୋରାପୁଟ ଓ କଳାହାଣ୍ଡିକୁ ୱାର୍ଣ୍ଣିଂ । ୧୮ ରୁ ୨୦ ତାରିଖ ଯାଏଁ ସମୁଦ୍ର ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ । ଆସନ୍ତାକାଲି ଠାରୁ ବର୍ଷା ଆହୁରି ବଢ଼ିବ । ପ୍ରବଳ ବର୍ଷା ସାଙ୍ଗକୁ ଝଟକା ପବନ ଓ ବିଜୁଳି ଘଡ଼ଘଡ଼ି ପାଇଁ 5 ଜିଲ୍ଲା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ପ୍ରବଳ ବଜ୍ରପାତ ଓ ଝଟକା ପବନ 30-40 କିମି ବେଗରେ ବହିବା ସମ୍ଭାବନାକୁ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।