କାହିଁକି ଘରର ପ୍ରଥମ ପିଲାଙ୍କୁ କରାଯାଏ ପୋଢ଼ୁଆଁ , ଜାଣନ୍ତୁ ଏହାର ପ୍ରକୃତ କାରଣ

ଏହା ସୌଭାଗିନୀ ଅଷ୍ଟମୀ, କାଳ ଭୈରବାଷ୍ଟମୀ ବା ପାପ-ନାଶିନୀ ଅଷ୍ଟମୀ ଭାବେ ମଧ୍ୟେ ନାମିତ । ଏହିଦିନ ପରିବାରର ଜ୍ୟେଷ୍ଠ ସନ୍ତାନର ସୁଖ ସମୃଦ୍ଧି ଓ ଦୀର୍ଘଜୀବନ ପାଇଁ ପୂଜାବିଧି ଅନୁଷ୍ଠିତ ହୋଇଥାଏ । ଏହି ଦିନ ସେମାନଙ୍କର ଦୀର୍ଘଜୀବନ କାମନା କରି ମାଆମାନେ ଷଠୀ ଦେବୀଙ୍କର ପୂଜା ଅର୍ଚ୍ଚନା କରିଥାନ୍ତି । ପଞ୍ଚପଲ୍ଲବ ଓ ପଞ୍ଚଶସ୍ୟରେ କଳସପୂଜା ଓ ବରୁଣ ପୂଜା ହୋଇଥାଏ । ଓଡ଼ିଆ ପରମ୍ପରା ଅନୁଯାୟୀ ପ୍ରଥମାଷ୍ଟମୀ ଦିନ ଘରର ଜ୍ୟେଷ୍ଠ ସନ୍ତାନ ସେ କନ୍ୟା ହେଉ କି ପୁତ୍ର ତାକୁ ସ୍ନାନାନ୍ତେ ନୂତନ ବସ୍ତ୍ର ପିନ୍ଧାଇ ଦିଅଁଙ୍କ ଆଗରେ ପିଢ଼ା ଉପରେ ବସାଇ ଦୁଇ କାନରେ ଫୁଲ ଓ ମୁଣ୍ଡରେ ଚନ୍ଦନ ଲଗାଇ ଦୁବ, ବରକୋଳି ପତ୍ର ଓ ହଳଦୀମିଶା ଚାଉଳ ମିଶାଇ ସେଥିରେ ମା’ ମାନେ ତାଙ୍କୁ ବନ୍ଦାପନା କରନ୍ତି । ବନ୍ଦାପନା ପରେ ଜ୍ୟେଷ୍ଠ ସନ୍ତାନ ଷଠୀ ଦେବୀଙ୍କୁ ମୁଣ୍ଡିଆ ମାରିବା ସହିତ ପିତାମାତାଙ୍କୁ ଓ ଗୁରୁଜନଙ୍କୁ ମୁଣ୍ଡିଆ ମାରି ଆଶୀର୍ବାଦ ଭିକ୍ଷା କରନ୍ତି । ପରିବାରର ଜ୍ୟେଷ୍ଠ ପୁତ୍ର ବା ଜ୍ୟେଷ୍ଠା କନ୍ୟାର ନବ ବସ୍ତ୍ର ପରିଧାନ ଓ ବନ୍ଦାପନା ହେବାର ଏହି ବିଶେଷ ବିଧିକୁ ‘ପଢୁଆଁ ହେବା’ କହିଥାନ୍ତି । ‘ପଢୁଆଁ’ ଶବ୍ଦଟି ‘ପ୍ରଥମା’ର ଅପଭ୍ରଂଶ ।

ପରମ୍ପରା ଅନୁଯାୟୀ ଏହି ଦିନ ଜ୍ୟେଷ୍ଠ ସନ୍ତାନ ପିନ୍ଧୁଥିବା ନୂତନ ବସ୍ତ୍ର ମାମୁ ଘରୁ ଆସିଥାଏ । ଏହିଦିନ ମାମୁଁମାନେ ନୂଆଲୁଗା, ମିଷ୍ଟାନ୍ନ ଓ ଅନ୍ୟାନ୍ୟ ସାମଗ୍ରୀ ସହ ଭଣଜା ଭାଣିଜୀ ଘରକୁ ଯାଇ ପଢୁଆଁ କରନ୍ତି । ସେଥିପାଇଁ ମାମୁଁଙ୍କୁ ଶ୍ରଦ୍ଧା ଓ ପରିହାସରେ ଅଷ୍ଟମୀ ବନ୍ଧୁ ବୋଲି କୁହାଯାଏ । ଅବଶ୍ୟ ଜ୍ୟେଷ୍ଠ ପୂର୍ଣ୍ଣିମା ଦିନ ଘରର ଜ୍ୟେଷ୍ଠପୁତ୍ର ବା ଜ୍ୟେଷ୍ଠକନ୍ୟାକୁ ନୂଆ ଲୁଗାପଟା ବାପ ମାଆମାନେ ପିନ୍ଧେଇଥାନ୍ତି ।ଏହିବିଧିରେ ସାମାଜିକ ଓ ପାରିବାରିକ ବନ୍ଧନ, ଶୃଙ୍ଖଳା ଓ ଆଦର୍ଶବୋଧ ଅତିମାତ୍ରାରେ ନିହିତ ରହିଛି । ଜ୍ୟେଷ୍ଠପୁତ୍ର, ପରିବାରରେ ପିତା ସମାନ । ପିତାଙ୍କ ଅନ୍ତେ କିମ୍ବା ପିତାଙ୍କ ଅକର୍ତ୍ତବ୍ୟରେ ଘର ଚଳାଇବା ଓ ଅନ୍ୟ ସନ୍ତାନ (ଭାଇ ଭଉଣୀ) ମାନଙ୍କୁ ପ୍ରତିପୋଷଣ କରିବା ଦାୟିତ୍ୱ ଜ୍ୟେଷ୍ଠ ପୁତ୍ର ଉପରେ ପଡ଼ିଥାଏ । ତେଣୁ ତାକୁ ସମସ୍ତେ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ପ୍ରଥମାଷ୍ଟମୀ ଓ ଜ୍ୟେଷ୍ଠ ପୂର୍ଣ୍ଣିମା ଦିନ ପ୍ରଥମ ସନ୍ତାନ ବା ଜ୍ୟେଷ୍ଠ ସନ୍ତାନକୁ ପୂଜା ବନ୍ଦାପନା କରିବାର ବିଧି ଆମ ସମାଜରେ ପ୍ରଚଳିତ ।