ଭୁବନେଶ୍ୱର: ଦିଗପହଣ୍ଡିର ଖେମୁଣ୍ଡି କଲେଜ ନିକଟରେ ଭୟଙ୍କର ବସ୍ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ମୃତକଙ୍କ ପାଇଁ ସହାୟତା ରାଶି ଘୋଷଣା କଲେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ଦୁର୍ଘଟଣାରେ ୧୨ ଜଣଙ୍କ ଜୀବନ ଯାଇଥିବା ବେଳେ ୮ଜଣ ଗୁରୁତର ଆହତ ହୋଇଛନ୍ତି । ଏହି ଘଟଣାରେ ପ୍ରଧାନମନ୍ତ୍ରୀ ଶୋକପ୍ରକାଶ କରିବା ସହ ମୃତକଙ୍କ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏଁ ଘୋଷଣା କରିଛନ୍ତି । ଏହି ସହାୟତା ରାଶି ପ୍ରଧାନମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଦିଆଯିବ ।
ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହାୟତା ଘୋଷଣା କରିଛନ୍ତି। ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ରାଶି ଘୋଷଣା କରିଛନ୍ତି। ଏହାଛଡ଼ା ଆହତଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ପ୍ରଦାନ ଲାଗି ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଆଜି ଭୋରରୁ ଗଞ୍ଜାମ ଦିଗପହଣ୍ଡିଠାରେ ହୋଇଥିବା ବସ ଦୁର୍ଘଟଣାରେ କିଛି ଲୋକଙ୍କ ମୃତ୍ୟୁ ହୋଇଥିବା ଘଟଣା ରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ଏବଂ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ଏହି ଦୁର୍ଘଟଣାରେ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ଏହାଛଡ଼ା ଘଟଣାସ୍ଥଳକୁ ତୁରନ୍ତ ଯାଇ ବିପନ୍ନଙ୍କୁ ସହାୟତା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଅର୍ଥ ମନ୍ତ୍ରୀ ବିକ୍ରମ ଆରୁଖ ଓ ଗଞ୍ଜାମ ଡିପିସିସି ଅଧ୍ୟକ୍ଷ ବିଧାୟକ ବିକ୍ରମ ପଣ୍ଡାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।