ମହାପ୍ରଭୁଙ୍କ ବନକଲାଗି ନୀତି: ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: କାଲି ସାଢ଼େ ୪ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରହିବ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ । ସନ୍ଧ୍ୟା ସାଢ଼େ ୬ରୁ ରାତି ୧୧ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରାବଣ କୃଷ୍ଣ ସପ୍ତମୀ ତିଥି ଥିବାରୁ ଶ୍ରୀବିଗ୍ରହଙ୍କ ବନକଲାଗି ଅନୁଷ୍ଠିତ ହେବ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ନୀତି ସମ୍ପାଦନ କରାଯିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ସେଥିପାଇଁ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ଏଥିରେ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୁର, କଇଥଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରି ଶ୍ରୀମୁଖ୍ୟ ଶୃଙ୍ଖାର କରିବାର ପରମ୍ପରା ରହିଛି ।

ପ୍ରତିମାସରେ ହାରାହାରି ଦୁଇଥର ଶ୍ରୀଜୀଉମାନଙ୍କର ମୁଖଶ୍ରୀର ପ୍ରସାଧନ ବା ବନକ ଲାଗି ହୋଇଥାଏ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ । ଶ୍ରୀମନ୍ଦିର ଗର୍ଭଗୃହସ୍ଥ ରତ୍ନସିଂହାସନରେ ବିରାଜିତ ମହାପ୍ରଭୁ ଜଗନ୍ନାଥ, ବଡ଼ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କ ମୁଖମଣ୍ଡଳର ଦୀପ୍ତି ବଢ଼ାଇବା ପାଇଁ ଶହ ଶହ ବର୍ଷ ଧରି ଅନୁଷ୍ଠିତ ହୋଇଆସୁଛି ଏହି ଗୁପ୍ତ ନୀତି । ଏହି ସେବାରେ ୫ ଜଣ ଦତ୍ତ ମହାପାତ୍ର ସେବାୟତ ନିୟୋଜିତ ରହିବେ ।