ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି, ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଆସନ୍ତାକାଲି ଆଶ୍ବିନ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହ ଶୃଙ୍ଗାର କରିବେ । ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ । ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ଣ ପ୍ରାୟ ୫ଟାରୁ ବନକଲାଗି ନୀତି ଆରମ୍ଭ ହେବା ସହ ସର୍ବସାଧାରଣ ବନ୍ଦ ରହିବ । ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ ହେବ । ରାତି ୧୦ଟା ପରେ ସର୍ବସାଧାରଣ ଦର୍ଶନ ସ୍ବାଭାବିକ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ।