ମହାପ୍ରଭୁଙ୍କ ବନକଲାଗି: ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଆଜି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ । ବନକଲାଗି ନୀତି ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ । ସାଧାରଣ ଦର୍ଶନ ବନ୍ଦ ନେଇ ଶ୍ରୀମନ୍ଦିର ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ଦ୍ବିତୀୟ ଭୋଗ ମଣ୍ଡପ ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଅପରାହ୍ଣ ୬ଟା ରୁ ରାତି ୧୦ ଟା ପର୍ଯ୍ୟନ୍ତ ପ୍ରାୟ ୪ ଘଣ୍ଟା ଧରି ଏହି ନୀତି ଚାଲିବ । ଏହା ଏକ ଗୁପ୍ତସେବା ଓ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ । ପ୍ରତିମାସରେ ହାରାହାରି ଦୁଇଥର ଶ୍ରୀଜୀଉଙ୍କର ମୁଖଶ୍ରୀର ପ୍ରସାଧନ ବା ବନକ ଲାଗି ନୀତି ଅନୁଷ୍ଠିତ ହୋଇଥାଏ। ଏହି ବନକ ଲାଗି କାର୍ଯ୍ୟକ୍ରମ ପାଇଁ ରୀତିନୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନେ କରିଥାନ୍ତି। ନିୟମ ଅନୁଯାୟୀ ବୁଧବାର ଦିନ ବନକ ଲାଗି ଅନୁଷ୍ଠିତ ହୋଇଥାଏ । ଦି’ପ୍ରହର ଧୂପ ଦାନ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ ହୋଇଥାଏ । ଏହାପରେ ଏହି ଗୁପ୍ତ ନୀତି କରାଯାଇଥାଏ ।