ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଆସନ୍ତା ବୁଧବାର ଆଶ୍ଵିନ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ହେବ ବନକଲାଗି ନୀତି। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟାରୁ ରାତି ୯ଟା  ପ୍ରାୟ ୪ ଘଣ୍ଟା  ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ। ଏହାଦ୍ଵାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀ ବୃଦ୍ଧି ହୁଏ। ଏହି ବିଶେଷ ନୀତି ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ, ଓ କଳା ଇତ୍ୟାଦି ବ୍ୟବହାର କରାଯିବ।ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକମାନେ ଏହି ନୀତି ସମ୍ପାଦନ କରିବେ।