ଆସନ୍ତାକାଲି ମହାପ୍ରଭୁଙ୍କ ସ୍ୱତନ୍ତ୍ର ବନକଲାଗି ନୀତି, ୩–୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ୱତନ୍ତ୍ର ‘ବନକଲାଗି’ ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏହି ଗୁପ୍ତ ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସମ୍ପୂର୍ଣ୍ଣ କରାଯାଇଛି। ବନକଲାଗି ନୀତି ଚାଲୁଥିବା ସମୟରେ କିଛି ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ନୀତି ସମ୍ପନ୍ନ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ। ଏହି ସମୟରେ ପ୍ରାୟ ୩ରୁ ୪ ଘଣ୍ଟା ପର୍ଯ୍ୟନ୍ତ ଭକ୍ତମାନଙ୍କ ପାଇଁ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରଖାଯିବ।

ସୂଚନା ଅନୁଯାୟୀ, ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ଅସ୍ଥାୟୀ ଭାବେ ବନ୍ଦ ରହିବ। ବନକଲାଗି ନୀତି ସମ୍ପୂର୍ଣ୍ଣ ହେବା ପରେ ଏବଂ ମହାପ୍ରଭୁଙ୍କ ମହାସ୍ନାନ ଶେଷ ହେବା ସହିତ ପୁଣି ଥରେ ଭକ୍ତମାନେ ରତ୍ନସିଂହାସନରେ ବିରାଜିତ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇପାରିବେ। ରାତି ୧୦ଟା ପରେ ସର୍ବସାଧାରଣ ଦର୍ଶନ ସ୍ବାଭାବିକ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି। ବନକଲାଗି ମହାପ୍ରଭୁଙ୍କ ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଏହି ସମୟରେ ଜୟ–ବିଜୟ ଦ୍ୱାର ବନ୍ଦ ରହିବ। ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିଥାନ୍ତି। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ପ୍ରାକୃତିକ ରଙ୍ଗ ବ୍ୟବହାର କରି ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ଶୃଙ୍ଗାର କରାଯାଏ। ଏହି ଗୁପ୍ତ ନୀତି ଚାଲୁଥିବା ସମୟ ସାରା ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହେ।