ଦୁଇ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିବେ ସୁଭଦ୍ରା

ପୁରୀ : ଆଜି ପବିତ୍ର ଗହ୍ମାପୂର୍ଣ୍ଣମୀ ଓ ପ୍ରଭୁ ବଳଭଦ୍ରଙ୍କ ଜନ୍ମୋତ୍ସବ। ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ | ଆଜି ମଧ୍ୟାହ୍ନଧୂପ ପରେ ଭଉଣୀ ସୁଭଦ୍ରା ଦୁଇଭାଇ ପ୍ରଭୁ ବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କୁ ରାକ୍ଷୀ  ପିନ୍ଧାଇବେ | ତେବେ ଭାଇ ଭଉଣୀର ପବିତ୍ର ସମ୍ପର୍କର ନିଦର୍ଶନ ସ୍ଵରୁପ ପାଟରା ବିଶୋୟୀଙ୍କ ଦ୍ୱାରା ପ୍ରସ୍ତୁତ ସ୍ୱତନ୍ତ୍ର ରାକ୍ଷୀ ଓ ଗୁଆମାଳକୁ  ମହାପ୍ରଭୁଙ୍କୁ ସିଂହାରୀ ସେବକ ମାନେ ଲାଗି କରାଇବେ | ସେହିପରି ଆଜି ପ୍ରଭୁ ସୁଦର୍ଶନ ଚାରି ଆଶ୍ରମକୁ ବିଜେ କରିବାକୁ ଥିବା ବେଳେ ମାର୍କଣ୍ଡ ପୁଷ୍କରିଣୀ ଠାରେ ବଳଭଦ୍ରଙ୍କ ଜନ୍ମନୀତି ମଧ୍ୟ ଅନୁଷ୍ଠିତ ହେବ | ଏହି ସ୍ୱତନ୍ତ୍ର ନୀତି ଭୋଗମଣ୍ଡପ ପରେ ଦଇତାପତି ସେବାୟତମାନେ ସୁଦର୍ଶନଙ୍କୁ ଚଉଦଳରେ ବିଜେ କରାଇ ନୀତି  ସମାପନ କରିବେ |

ଦ୍ୱିପହର ଧୂପ ପରେ ମଙ୍ଗଳାର୍ପଣ କରାଯାଇ ସ୍ୱତନ୍ତ୍ର ନିତୀ ଅନୁଷ୍ଠିତ ହେବାସହ ଚକ୍ରରାଜ ସୁଦର୍ଶନ ବିମାନରେ ମାର୍କଣ୍ଡ ପୁଷ୍କରଣୀକୁ ବିଜେ କରିବେ ।  ସେଠାରେ ମାଟିର ବଳଭଦ୍ର ପ୍ରତିମା ନିର୍ମାଣ କରାଯିବ । ପୂଜାପଣ୍ଡା ସେବକ ଜୀବନ୍ୟାସ ଦେବାପରେ ଜାତକର୍ମ ଅନୁଷ୍ଠିତ ହେବ । ପରେ ପଂଚୋପଚାର, ଶୀତଳ ମଣୋହୀ ଓ ବନ୍ଦାପନା କରାଯାଇ ବଳଭଦ୍ରଙ୍କ ମାଟି ପ୍ରତିମାକୁ ମାର୍କଣ୍ଡ ପୁଷ୍କରଣୀରେ ବିସର୍ଜନ କରାଯିବ । ଏହାପରେ ବିମାନବଡୁ ସେବକ ମାନେ ସୁଦର୍ଶନଙ୍କୁ ବିମାନରେ ବସାଇ ଚାରି ଆଶ୍ରମ ଭ୍ରମଣ କରାଇବା ପରେ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିବେ।