କେନ୍ଦୁପତ୍ର ତୋଳାଳୀ ଓ ବନ୍ଧାଳିଙ୍କୁ ୪୧ କୋଟି ୧୭ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା

ଭୁବନେଶ୍ଦେର; କେନ୍ଦୁପତ୍ର ତୋଳାଳୀ ଓ ବନ୍ଧାଳିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ସହାୟତା । ଉପକୃତ ହେଲେ ପ୍ରାୟ ୯ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଓ ବନ୍ଧାଳି । ତେବେ ଆଜି ଦେବଗଡ ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯାଇଛନ୍ତି । ସେଠାରେ ପ୍ରାୟ୨୦୫ କୋଟି ଟଙ୍କା ମୂଲ୍ୟର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ।  ଏଥିସହିତ ଦେବଗଡ଼ ଜିଲ୍ଲା ପାଇଁ ଆଜି ୩୦୦ ଶଯ୍ୟା ବିଶିଷ୍ଟ ନବ ନିର୍ମିତ ଡାକ୍ତରଖାନା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଉଦ୍‍ଘାଟିତ ହୋଇଛି ।

ଏହି କାର୍ଯ୍ୟକ୍ରମ ଅବସରରେ ରାଜ୍ୟର ସମସ୍ତ କେନ୍ଦୁପତ୍ର ତୋଳାଳୀ ଓ ବନ୍ଧାଳିଙ୍କ ପାଇଁ ୪୧ କୋଟି ୧୭ ଲକ୍ଷ ଟଙ୍କାର ସହାୟତା ରାଶି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏଥିରେ କେନ୍ଦୁପତ୍ର ତୋଳାଳୀଙ୍କୁ ଚପଲ ପାଇଁ ୧୬୦ ଟଙ୍କା, କେରି ସଂଗ୍ରହ କପଡା ପାଇଁ ୨୦୦ ଟଙ୍କା, ତୋଳାଳୀ ଓ ସିଜନାଲ ଷ୍ଟାଫଙ୍କ ଟୋପି ପାଇଁ ୧୦୦ ଟଙ୍କା, ବନ୍ଧାଳି ମାନଙ୍କ ପାଇଁ ମଶାରୀ ଓ କମ୍ବଳ ପାଇଁ ଜଣଙ୍କ ପିଛା ୭୦୦ ଟଙ୍କା ପ୍ରଦାନ କରାଯିବ ।

ଓଡିଶାର ୩୦ଟି ଜିଲ୍ଲାର ସମାନୁପାତିକ ବିକାଶକୁ ଗୁରୁତ୍ୱ ଦେଇଛନ୍ତି ସରକାର। ସମାଜର ଶେଷ ଧାଡ଼ିରେ ଥିବା ଲୋକଟିଏ ଯେପରି ସବୁ ମୌଳିକ ସୁବିଧା ପାଇପାରିବ ସେଥିପ୍ରତି ସରକାର ଗୁରୁତ୍ୱ ଦେଛନ୍ତି ।  ଶିକ୍ଷା, ସ୍ୱାସ୍ଥ୍ୟ, ଭିତ୍ତିଭୂମି, କୃଷି, ଶିଳ୍ପ, ପୁଞ୍ଜିନିବେଶ ଓ ରୋଜଗାର ଉପରେ ଗୁରୁତ୍ୱ ଦେଲେ ହିଁ ସମୃଦ୍ଧ ଓଡ଼ିଶା ଗଠନର ସ୍ଵପ୍ନ ସମ୍ଭବ ହୋଇପାରିବ। ସମସ୍ତଙ୍କୁ ନେଇ ସବୁ କ୍ଷେତ୍ରର ବିକାଶ ଜରିଆରେ ୨୦୩୬ ମସିହା ସୁଦ୍ଧା ସମୃଦ୍ଧ ଓଡିଶା ଏବଂ ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ ଗଠନର ଲକ୍ଷ୍ୟ ପୂରଣ କରିବା ପାଇଁ ଆମର ଉଦ୍ୟମ ଜାରି ରହିଛି ବୋଲି ମୁଖ୍ୟମମନ୍ତ୍ରୀ କହିଛନ୍ତି।