କାହିଁକି ପାଳନ ହୁଏ କୁମାର ପୂର୍ଣ୍ଣିମା, କଣ ରହିଛି ଧାର୍ମିକ ମାନ୍ୟତା

ଭୁବନେଶ୍ଵର: କୁମାର ପୂର୍ଣ୍ଣିମା… ଓଡ଼ିଶାର ଏକ ବିଶେଷ ପର୍ବ। ଏହା କୁମାରୋତ୍ସବ ବା କୋଜାଗର ପୂର୍ଣ୍ଣିମା ନାମରେ ମଧ୍ୟ ଜଣାଶୁଣା । ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ଏହି ପର୍ବଟି ପାଳିତ ହୋଇଥାଏ । ଏହି ପୂର୍ଣ୍ଣିମା ଶରତ ଋତୁରେ ପଡ଼ୁଥିବାରୁ କେତେକ ସ୍ଥାନରେ ଏହାକୁ ଶରତ ପୂର୍ଣ୍ଣିମା ମଧ୍ୟ କୁହାଯାଏ । ଏହି ଦିନ  ମା’ ଲକ୍ଷ୍ମୀ ଦେବୀଙ୍କର ଆରାଧନା କରାଯାଉଥିବାରୁ ଏହାକୁ ଗଜଲକ୍ଷ୍ମୀ ପୂଜା ବା କୋଜାଗାର ଲକ୍ଷ୍ମୀ ପୂଜା ବୋଲି ମଧ୍ୟ କୁହାଯାଏ ।

ଏହି ଦିନ କୁଆଁରୀ ଝିଅମାନେ ତୁଳସୀ ଚଉରା, ଗଜଲକ୍ଷ୍ମୀ, ଚନ୍ଦ୍ର, ସୂର୍ଯ୍ୟ ଓ କାର୍ତ୍ତିକଙ୍କର ପୂଜା ଆରାଧନା କରି ନିଜର ସୁଖ, ସୌଭାଗ୍ୟ, ଯଶ, ଧନ ଓ ପୌରୁଷ କାମନା କରିଥାନ୍ତି । ଓଡ଼ିଶାରେ ଏହି ପର୍ବ ସାଧାରଣତଃ କୁମାରୀ ଝିଅମାନେ କାର୍ତ୍ତିକେୟଙ୍କ ଭଳି ସୁନ୍ଦର ଜୀବନସାଥୀ ପାଇବା ପାଇଁ କରିଥାନ୍ତି ବୋଲି ବିଶ୍ବାସ ରହିଛି। ଏହି ପରମ୍ପରା କାହିଁ କେଉଁ କାଳରୁ ଚାଲି ଆସୁଛି। ଏହା ସ‌ହ କୁମାରୀ ମାନେ ସେହି ଦିନ ବ୍ରତ କରିବା ସହ ନିଜ ଜୀବନ ସାଥୀ ପାଇଁ ସେହି ଦିନ ସନ୍ଧ୍ୟା ସମୟରେ ତୁଳସୀ ଚଉରା ଆଗରେ ବନ୍ଦାପନା ମଧ୍ୟ କରିଥାନ୍ତି ।ପୁରାଣରେ କଥିତ ଅଛି ଯେ, ତୁଳସୀ ଦେବୀ ଜଣେ ପରମ ପତିବ୍ରତା ନାରୀ ଥିଲେ ।

ତାଙ୍କର ପତିବ୍ରତା ଗୁଣ ଯୋଗୁଁ ହିଁ ତାଙ୍କୁ ବୃକ୍ଷ ରୂପରେ ପୂଜା ପାଇବାର ବର ମିଳିଥିଲା । ଯୁଗେ ଯୁଗେ କୁମାରୀମାନେ ଉତ୍ତମ ବର ପାଇବା ପାଇଁ ଓ ବିବାହିତା ନାରୀମାନେ ନିଜ ସ୍ୱାମୀଙ୍କ ସୁଖ ସମୃଦ୍ଧି ପାଇଁ ଚଉରା ପୂଜା କରି ଆସିଛନ୍ତି। ତେଣୁ କୁମାର ପୂର୍ଣିମାରେ ମଧ୍ୟ ଚଉରା ପୂଜା କରାଯାଇଥାଏ । ସେହିପରି ଭଗବାନ ଶିବଙ୍କର ପୁଅ କାର୍ତ୍ତିକେୟ ଈଶ୍ୱରମାନଙ୍କ ମଧ୍ୟରେ ସବୁଠାରୁ ସୁନ୍ଦର ବୋଲି ପୁରାଣରେ କଥିତ ଅଛି । ସେ ଏହି ଦିନ ତାଡ଼କାସୁର ସ‌ହିତ ଯୁଦ୍ଧ ଆରମ୍ଭ କରିଥିଲେ । ତାଡ଼କାସୁରକୁ ପରାଜିତ କରିଥିବାରୁ ତାଙ୍କୁ ଯୁଦ୍ଧର ଦେବତା ଭାବେ ମଧ୍ୟ ଜଣାଯାଏ । ତେବେ ଏହି ପର୍ବରେ କାର୍ତ୍ତିକେୟଙ୍କ ପାଇଁ କୌଣସି ବିଶେଷ ପୂଜା ବିଧି ନାହିଁ ।

ଏହି ଦିନ ଘରର କୁମାରୀମାନେ ଭୋର୍‌ରୁ ଉଠି ସ୍ନାନାଦି ନିତ୍ୟକର୍ମ ସାରି ନୂତନ ବସ୍ତ୍ର ପରିଧାନ କରିଥାନ୍ତି । ଏହାପରେ ସେମାନେ ଆଞ୍ଜୁଳାରେ ସାତ ପ୍ରକାରର ଫଳ ନେଇ ସୂର୍ଯ୍ୟଙ୍କ ଉଦ୍ଦେଶ୍ୟରେ ଅର୍ପଣ କରିଥାନ୍ତି । ଏହି ବିଧିକୁ ଆଞ୍ଜୁଳା ଟେକା ବିଧି କୁହାଯାଏ । ତେବେ ଓଡ଼ିଶାର କେତେକ ଅଞ୍ଚଳରେ ଏହି ଆଞ୍ଜୁଳା ଟେକା ବିଧି ପାଳନ କରାଯାଏ ନାହିଁ । ଏହି ପର୍ବରେ କୁମାରୀମାନେ ଦିନସାରା ଉପବାସ କରିଥାନ୍ତି ।